ଆୟୁବ - ମୋହର ଭରସା କାହିଁ?
1ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି,ମୋʼ ନିମନ୍ତେ କବର ପ୍ରସ୍ତୁତ ଅଛି।2ନିଶ୍ଚୟ ପରିହାସକମାନେ ମୋʼ ନିକଟରେ ଅଛନ୍ତିଓ ସେମାନଙ୍କ ବିରୋଧ ମୋʼ ଚକ୍ଷୁଗୋଚରରେ ଅଛି।3ହେ ପରମେଶ୍ୱର ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋʼ ପାଇଁ ଲଗା ହୁଏ;ଆଉ କିଏ ମୋʼ ହାତରେ ହାତ ଦେବ?4କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ;ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ।5ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ,ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ।6ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି;ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି।7ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛିଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି।8ସରଳ ଲୋକେ ଏଥିରେ ଚମତ୍କୃତ ହେବେଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ।9ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।10ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ;ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ।11ମୋହର ବଞ୍ଚିବାର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ,ଅର୍ଥାତ୍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା।12ସେମାନେ ରାତ୍ରିକୁ ଦିନ କରନ୍ତି;ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି।13ଯଦି ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ;ଯଦି ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି;14ଯଦି ମୁଁ କ୍ଷୟକୁ କହିଅଛି, ‘ତୁମ୍ଭେ ମୋହର ପିତା;’କୀଟକୁ କହିଅଛି, ‘ତୁମ୍ଭେ ମୋହର ମାତା’ ଓ ‘ଭଗିନୀ;’15ତେବେ ମୋହର ଭରସା କାହିଁ?ଓ ମୋହର ଭରସା କିଏ ଦେଖିବ?16ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ,ତହିଁରେ ଏକାବେଳେ ମାଟିରେ ବିଶ୍ରାମ ହେବ।”