ଗୀତସଂହିତା22ory_irv
ବେଦନାର କ୍ରନ୍ଦନ ଓ ପ୍ରଶଂସାର ସଂଗୀତ
ପ୍ରଧାନ ବାଦ୍ୟକର ନିମନ୍ତେ ଆୟେଲତ୍-ହସଶହର (ଅଋଣର ମୃଗୀ) ସ୍ୱରରେ ଦାଉଦଙ୍କର ଗୀତ।
1ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ?ମୋତେ ସାହାଯ୍ୟ କରିବାରୁ ଓ ମୋʼ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ?2ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ,ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ।3ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍,ତୁମ୍ଭେ ପବିତ୍ର ଅଟ।4ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ;ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ।5ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ;ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ।6ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ;ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ।7ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି;ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି,8“ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା;ସେ ତାହାକୁ ଉଦ୍ଧାର କରନ୍ତୁ;ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।”9ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ;ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ।10ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି;ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ।11ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ;ସାହାଯ୍ୟକାରୀ କେହି ନାହିଁ।12ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି;ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି।13ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟମୋʼ ପ୍ରତି ମୁଖ ମେଲାଇ ଅଛନ୍ତି।14ମୁଁ ଜଳ ପରି ଢଳା ହେଉଅଛିଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି।ମୋହର ହୃଦୟ ମହମ ପରି ହୋଇଅଛି;ତାହା ମୋʼ ଅନ୍ତ୍ର ମଧ୍ୟରେ ତରଳି ଯାଏ।15ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି;ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି,ତୁମ୍ଭେ ମୋହର ମୃତ୍ୟୁର ଧୂଳି କି ଆଣିଅଛ।16କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି;ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି;ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି।17ମୁଁ ଆପଣା ଅସ୍ଥିସବୁ ଗଣିପାରେ;ସେମାନେ ମୋତେ ଅନାଇ ଚାହିଁ ରହିଥାʼନ୍ତି।18ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତିଓ ସେମାନେ ମୋʼ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି।19ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ;ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ।20ଖଡ୍ଗରୁ ମୋʼ ପ୍ରାଣକୁଓ କୁକ୍କୁରର ବଳରୁ ମୋହର ଏକମାତ୍ର ଆତ୍ମାକୁ ଉଦ୍ଧାର କର।21ସିଂହର ମୁଖରୁ ମୋତେ ନିସ୍ତାର କର;ହଁ, ଅରଣା ଷଣ୍ଢର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ।22ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି;ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି।23ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର;ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର;ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ।24କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି।କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି;ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ।25ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସାଭୂମି;ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି।26ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ;ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ;ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ।27ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ;ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।28କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ;ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି।29ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ;ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍,ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ।30ଏକ ବଂଶ ତାହାଙ୍କର ସେବା କରିବେ;ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ।31ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ,ସେ ଏହା ସାଧନ କରିଅଛନ୍ତି।